ମେ ୨୪ରୁ ୩ମାସ ପର୍ଯ୍ୟନ୍ତ ଘରକୁ ଘର ବୁଲି କରୋନା ଲକ୍ଷଣ ସର୍ଭେ କରିବେ ଆଶାକର୍ମୀ

0 185

ଭୁବନେଶ୍ୱର,୧୭/୫- ସମଗ୍ର ଦେଶ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ସହ ଲଢୁଛି । କରୋନାର ଏହି ଦ୍ୱିତୀୟ ଲହରୀ ସାରା ଦେଶରେ ଗୁରୁତର ଜନସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିବା ସହ ବିପୁଳ କ୍ଷତି କରିଚାଲିଛି । ଏହି ପରିପ୍ରେକ୍ଷୀରେ ସମସ୍ତଙ୍କ ସହଯୋଗରେ କରୋନା ବିରୋଧରେ ଆମର ଲଢେଇକୁ ଆହୁରି ମଜବୁତ କରିବା ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ସୁଦୃଢ କରିବା ସହିତ ଆଇସିୟୁ-ଏଚଡିୟୁ ଶଯ୍ୟାରେ ବୃଦ୍ଧି କରାଯାଇଛି । ମୁଖ୍ୟ ଡାକ୍ତରଖାନା ଗୁଡିକରେ ଅକ୍‌ସେଜେନ ପ୍ଲାଣ୍ଟ ପ୍ରତିଷ୍ଠା ସହ ଅକ୍‌ସିଜେନ ସିଲିଣ୍ଡର ମଧ୍ୟ ଆମଦାନୀ କରାଯାଉଛି । ଏହି ଲଢେଇରେ ସ୍ୱାସ୍ଥ୍ୟ କର୍ମୀ ଓ ଡାକ୍ତରମାନଙ୍କ ସବୁଠାରୁ ଗୁରୁ ଦାୟିତ୍ୱ ଥିବାରୁ ଏ କ୍ଷେତ୍ରରେ ମାନବ ସମ୍ବଳ ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଇଛି ଏବଂ ୭୮୬ ଡାକ୍ତର ଓ ୫୧୩୭ ପାରାମେଡିକାଲ ଷ୍ଟାଫଙ୍କୁ ଇତି ମଧ୍ୟରେ ନିଯୁକ୍ତି ଦିଆଯାଇଛି । ଏହାସହିତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତି ଦେବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି । ଲୋକଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହୁଏତ ଆଗକୁ କୋଭିଡର ଅନେକ ଲହର ଆସିପାରେ । ତେଣୁ ଆମକୁ ଦୀର୍ଘ ଲଢେଇ ପାଇଁ ପ୍ରସ୍ତୁତ ରହିବାକୁ ହେବ । କରୋନା ବିରୁଦ୍ଧରେ ସଫଳ ଲଢେଇ ପାଇଁ ଟିକାକରଣ ଆମର ମୁଖ୍ୟ ରଣକୌଶଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଆମର ଲୋକମାନେ ଯେପରି ଶୀଘ୍ର ଟିକା ପାଇପାରିବେ, ସେଥିପାଇଁ ଆମେ ବିଶ୍ୱ ବଜାରରୁ ଟିକା କିଣିବା ପ୍ରକ୍ରିୟା ଆରମ୍ଭ କରିଛୁ ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଥିଲେ ଏବଂ କରୋନା ବିରୁଦ୍ଧରେ ଏହି ଲଢେଇରେ ଆମକୁ ମାର୍ଗ ଦେଖାଇବା ପାଇଁ ଏକ ଉଚ୍ଚ଼ସ୍ତରୀୟ ବୈଷୟିକ କମିଟି ଗଠନ ସଂପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଲୋକଙ୍କୁ ସେବା ଯୋଗାଇବା ପାଇଁ ଏଏନଏମ, ଆଶା, ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ଗୋଷ୍ଠୀ ଆଦି ସମସ୍ତଙ୍କୁ ସାଥିରେ ନେଇ କୋଭିଡ ପରିଚାଳନା କାମ ଜାରି ରହିଛି ବୋଲି ସେ କହିଥିଲେ । ଆସନ୍ତା ମଇ ୨୪ ତାରିଖରୁ ୩ ମାସ ପାଇଁଁ ସାରା ରାଜ୍ୟରେ ଆଶା ଓ ଏଏନଏମ ମାନେ ଘରକୁ ଘର ବୁଲି କୋଭିଡ ଲକ୍ଷଣ ଓ ଜଟିଳ ରୋଗ ସଂପର୍କରେ ସର୍ଭେ କରିବେ । ଏଥିପାଇଁ ସେମାନଙ୍କୁ ୩ ମାସ ପାଇଁ ମାସିକ ୧୦୦୦ ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ପ୍ରତି ଗାରେ ଥିବା ଗାଁ କଲ୍ୟାଣ ସମିତି ମାନଙ୍କୁ ମଧ୍ୟ କୋଭିଡ ନିୟନ୍ତ୍ରଣ ପାଇଁ ବିଭିନ୍ନ କାର୍ଯ୍ୟ ନିମନ୍ତେ ୧୦ ହଜାର ଟଙ୍କା ସହାୟତା ଦିଆଯିବ । ସେହିପରି ଗୃହ ସଂଗରୋଧ ତଦାରଖ ଦାୟିତ୍ୱରେ ଥିବା ଆଶାକର୍ମୀ ମାନଙ୍କୁ ମଧ୍ୟ ବାଇସାଇକେଲ, ଚପଲ, ଛତା, ଟର୍ଚ୍ଚ ଓ କପ୍‌ବୋର୍ଡ ଆଦି ପାଇଁ ଏକକାଳୀନ ୧୦ ହଜାର ଟଙ୍କା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । କୋଭିଡ ଯୋଗୁ ଅନେକ ପରିବାରର ଆତ୍ମୀୟସ୍ୱଜନଙ୍କ ଅସମୟରେ ବିୟୋଗ ଘଟିଥିବାରୁ ମୁଖ୍ୟମନ୍ତ୍ରୀ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରର ଏହି ଦୁଃଖ ସମୟରେ ସରକାର ସେମାନଙ୍କ ସହିତ ରହିଛନ୍ତି ବୋଲି ସାହସ ଦେଇଥିଲେ । କୋଭିଡ ମୃତକଙ୍କ ପରିବାରର ବିଧବା ଓ ବାପା ମା ଙ୍କୁ ହରାଇଥିବା ପିଲାମାନଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବା ସହିତ ପିଲାମାନଙ୍କ ପାଇଁ ମାଗଣା ଶିକ୍ଷା ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ସଚେତନତା ଜରିଆରେ ପ୍ରସ୍ତୁତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଅନାବଶ୍ୟକ ଭାବରେ ବାହାରେ ନ ବୁଲିବା ଏବଂ ଗହଳିକୁ ନଯିବା ଆଦି ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ଅନୁରୋଧ କରିଥିଲେ । ତେଣୁ ଏହି ସଚେତନତାର ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ବିଧାୟକ ମାନଙ୍କୁ ପରାମର୍ଶ ଦେବା ସହିତ କୋଭିଡ ପରିଚାଳନା କାର୍ଯ୍ୟ ବିଶେଷତଃ, ମିଶନ ଶକ୍ତି ଗ୍ରୁପଠାରୁ କିଣି ଗରିବ ଲୋକଙ୍କୁ ମାସ୍କ ବାଣ୍ଟିବା ପାଇଁ ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଅବସରରେ ବାଚସ୍ପତି ଶ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର ବିଧାୟକ ମାନଙ୍କୁ କୋଭିଡ଼ ସଂକ୍ରମଣ ରୋକିବା ଦିଗରେ କାମ କରିବା ପାଇଁ ବିଧାୟକ ମାନଙ୍କୁ ଶପଥ ପାଠ କରାଇଥିଲେ ।

hiranchal ad1
Leave A Reply

Your email address will not be published.

7 + seventeen =