ପୁରୀ : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଆଜିର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୋଇଥାଏ । ଏହି ବେଶରେ ଜଗନ୍ନାଥଙ୍କୁ କୃଷ୍ଣ ଓ ଶ୍ରୀ ବଳଭଦ୍ରଙ୍କୁ ବଳରାମ ରୂପରେ ସୁସଜ୍ଜିତ କରାଯିବ । ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନ ଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେସନ କରିବେ । ଉଭୟ କୃଷ୍ଣ ଏବଂ ବଳରାମ କାଷ୍ଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି । ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଶୋଭାପାଏ । ବଳରାମଙ୍କ ଡାହାଣ ହାତରେ ଶିଙ୍ଘ ଓ ବାମ ହସ୍ତରେ ପଦ୍ମ ଫୁଲ ମଧ୍ୟ ଶୋଭାପାଏ । କିରୀଟ ଉପରେ ସୋଲରେ ନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ । ଏହି ବେଶରେ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଧିଥାନ୍ତି । ସେହି ପାଗ ଦ୍ୱୟ କିରୀଟଯୁକ୍ତ ହୋଇଥାଏ । ରତ୍ନ ସିଂହାସନ ଉପରେ ଖଞ୍ଜାଯାଇଥିବା ଏକ କ୍ଷୁଦ୍ରକାଷ୍ଠ ନିର୍ମିତ ତଥା ଜରି ଜମ୍ବୁରାରେ ଆଚ୍ଛାଦିତ ସିଂହାସନରେ ଚକାମୁଣ୍ଡି ପକାଇ ପ୍ରଭୁ ପଦ୍ମାସନରେ ଉପନିବେଶ କରନ୍ତି । ବାଙ୍କଚୂଳ କିରୀଟ ଉପରେ ପତ୍ରଲଗା କଦମ୍ବ ଫୁଲ ଶୋଭାପାଏ । ଏହି ବେଶରେ ଶ୍ରୀପୟର, ପାଉଁଜି,ବାଙ୍କି,ପାହୁଡ଼, ଗୋଡ଼ମୁଦି, ମଲ୍ଲୀକଢ଼, ଚନ୍ଦ୍ର, ଚିତା, ନାକଚଣା, ହାତଫେର, ଖଡୁ ଇତ୍ୟାଦିରେ ସାରା ଶରୀର ମହାପ୍ରଭୁଙ୍କ ଶୋଭା ପାଇଥାଏ । ସୁଭଦ୍ରାଙ୍କ ମସ୍ତକରେ ମଧ୍ୟ ଏକ କିରୀଟ ଶୋଭାପାଏ । ଶ୍ରୀ ବଳଭଦ୍ର ଓ ଶ୍ରୀ ଜଗନ୍ନାଥଙ୍କ ଦୁଇ ପାର୍ଶ୍ୱରେ ନନ୍ଦ, ଉପନନ୍ଦ, ବସୁଦେବ, ଗୋପାଳ ବାଳକମାନେ, ଗୋପୀ, ବ୍ରହ୍ମା, ସହସ୍ର ଚକ୍ଷୁ ଇନ୍ଦ୍ର, ନାରଦ, ରୋହିଣୀ ଓ ଯଶୋଦାଙ୍କୁ ଦଣ୍ଡାୟମାନ ଭଙ୍ଗୀରେ ରଖାଯାଏ । ଠାକୁରଙ୍କ ଆଗରେ ଚାରିଗୋଟି ଗାଈ ଦଣ୍ଡାୟମାନ ଭଙ୍ଗୀରେ ଠିଆ ହୋଇଥାନ୍ତି । ଦ୍ୱିପହର ଧୂପ ପରେ ଏହି ବେଶ ଆରମ୍ଭ ହୋଇ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ ରହିଥାଏ । ଏହି ବେଶରେ ଖିରି ଓ ଅମାଲୁ ଭୋଗ ମଧ୍ୟ ଲାଗିଥାଏ । ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି