ଭୁବନେଶ୍ୱର : ମନମୋହନ ସାମଲ ହେଲେ ରାଜ୍ୟ ବିଜେପିର ନୂଆ ସଭାପତି । ମନମୋହନଙ୍କୁ ରାଜ୍ୟ ସଭାପତି ଭାବେ ଗୁରୁଦାୟିତ୍ୱ ଦେଇଛନ୍ତି ବିଜେପିର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା । ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି ।
ଆଗକୁ ୨୦୨୪ ନିର୍ବାଚନ ଥିବା ବେଳେ ମନମୋହନଙ୍କ ନେତୃତ୍ୱରେ ଦଳ ମଇଦାନକୁ ଓହ୍ଲାଇବ ବୋଲି ସ୍ପଷ୍ଟ ହୋଇଛି। ମନମୋହନଙ୍କ ନେତୃତ୍ୱରେ ଦଳ ୨୦୨୪ ନିର୍ବାଚନ ମଇଦାନକୁ ଓହ୍ଲାଇବ ବୋଲି ସ୍ପଷ୍ଟ ହୋଇ ଯାଇଛି । ନବ ନିଯୁକ୍ତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦଳର ଜଣେ ବରିଷ୍ଠ ନେତା । ତାଙ୍କ ପାଇଁ ସଭାପତି ଦାୟିତ୍ୱ ନୂଆ ନୁହେଁ। ମନମୋହନ ସାମଲ ପୂର୍ବରୁ ୧୯୯୯-୨୦୦୦ ଓ ୨୦୦୧-୨୦୦୪ ମସିହା ପର୍ଯ୍ୟନ୍ତ ୨ ଥର ଦଳର ସଭାପତି ଭାବେ ଦାୟିତ୍ୱ ନିର୍ବାହ କରି ସାରିଛନ୍ତି।
ରାଜ୍ୟ ବିଜେପି ସଭାପତି ହେବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମନମୋହନ ସାମଲ କହିଛନ୍ତି, ସମସ୍ତଙ୍କୁ ସାଙ୍ଗରେ ନେଇ କାମ କରିବି । ରାଜ୍ୟରେ ଚାଲିଥିବା ସରକାର ଅନ୍ୟାୟ, ଅତ୍ୟାଚାରରେ ବୁଡ଼ିଛି । ଅନ୍ୟାୟ, ଅତ୍ୟାଚାର, ଦୁର୍ନୀତି ବିରୋଧରେ ବିଜେପି ଲଢ଼େଇ କରିବ । ଓଡ଼ିଶାରେ ଦୁର୍ନୀତିଗ୍ରସ୍ତ ଶାସନ ଚାଲିଛି, ତାକୁ ୨୦୨୪ରେ ପରିବର୍ତ୍ତନ କରାଯିବ ।