ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି

0 83

ପୁରୀ : ଆଜି ପବିତ୍ର ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅର୍ଥାତ୍‌ ରେଖାପଞ୍ଚମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା । ଶ୍ରୀଜିଉଙ୍କ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତୀଙ୍କୁ ଲାଗି କରାଯିବ । ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତ ମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ । ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାଇ ଆଜି ଅପରାହ୍ନ ୩ଟାରୁ ରାତି ୮ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ତେବେ ସ୍ନାନ ପୂର୍ଣ୍ଣୀମା ଦିନ ୧୦୮ ଗରା ଜଳରେ ସ୍ନାନ କରି ଥଣ୍ଡା ଜ୍ୱରରେ ପୀଡିତ ହେବା ପରେ ଶ୍ରୀଜିଉଙ୍କ ଶ୍ରୀମୁଖରୁ ରାହୁରେଖାକୁ କାଢି ଦିଆଯାଇଥିଲା । ତେବେ ପୁନର୍ବାର ଆଜି ଦେଉଳକରଣ, ତଢଉ କରଣ, ଭଣ୍ଡାର ମେକାପଙ୍କ ଉପସ୍ଥିତିରେ ଭଣ୍ଡାର ଘରୁ ରାହୁରେଖାକୁ କଢାଯିବ । ପ୍ରଥମ ଭୋଗମଣ୍ଡପ ସରିବା ପରେ ପୁଷ୍ପାଳକ ସେବାୟତ ଝୋବାକଣ୍ଠି,ମଇଲମ କରିବା ସହ ମହାଜନ ସେବାୟତ ମାନେ ଭୂଦେବୀ ଏବଂ ଶ୍ରୀଦେବୀଙ୍କୁ ଖଟଶେଜ ଘରେ ବିରାଜମାନ କରାଇବେ । ଏହାପରେ ପତିମହାପାତ୍ର ସେବାୟତ ଏହି ରାହୁରେଖାକୁ ସଂସ୍କାର କରିସାରିବା ପରେ ୪ ବାଡର ବାଡଗ୍ରାହୀ ଓଷୁଅ ଏବଂ କନା ଦ୍ୱାରା ଚତୁଃର୍ଦ୍ଧାମୂର୍ତ୍ତୀଙ୍କ ଶ୍ରୀମୁଖରେ ରାହୁରେଖାକୁ ଲାଗି କରାଇବେ । ରାହୁରେଖା ନୀତି ସମାପ୍ତ ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ।

hiranchal ad1
Leave A Reply

Your email address will not be published.

10 − 6 =