ଆଜିଠୁ ପ୍ରବଳ ବର୍ଷା, ଏହି ସବୁ ଜିଲ୍ଲା ପାଇଁ ଜାରି ହେଲା ଓ୍ବାର୍ଣ୍ଣିଂ
ଭୁବନେଶ୍ୱର- ରାଜ୍ୟରେ ବୁଧବାରଠାରୁ ବର୍ଷା ପରିମାଣ ବଢ଼ିବ। ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ବଜ୍ରପାତ ଓ ଝଟକା ପବନ ବୋହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଆସନ୍ତା ୨ଦିନ କେତେକ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଆଉ କେତେକ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଏକ ଟ୍ରପ୍ଲାଇନ ବାୟୁମଣ୍ଡଳର ଉପରି ଭାଗରେ ରହିଛି। ଏହା ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଜାରି ରହିବ। ୨୫ ଓ ୨୬ ତାରିଖରେ ସମୁଦ୍ର ଅଶାନ୍ତ ରହିବ। ଏହି ୨ଦିନ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁଯାୟୀ, ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ରାୟଗଡ଼ା, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲାରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବୋହିବାର ସମ୍ଭାବନା ରହିଛି। ସେହିପରି କୋରାପୁଟ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସାଙ୍ଗକୁ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବ ବୋଲି ଆକଳନ କରାଯାଇଛି। ତେଣୁ ଏ ସମସ୍ତ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ୨୬ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।
ସେହିପରି ଢେଙ୍କାନାଳ, ଅନୁଗୋଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସାଙ୍ଗକୁ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବୋହିବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ସହ ଘଡ଼ଘଡ଼ି ବର୍ଷା ଏବଂ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିପାରେ। ତେଣୁ ଏହି ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
