ଡ୍ୟୁଟି ସମୟରେ ମୃତ୍ୟୁବରଣ କଲେ କୋଭିଡ ଯୋଦ୍ଧାଙ୍କ ପରିବାରକୁ ମିଳିବ ୫୦ଲକ୍ଷ ଟଙ୍କା ସହାୟତା

0 153

ଭୁବନେଶ୍ୱର,୨୮/୭ –ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ କୋଭିଡ-୧୯ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । କୋଭିଡ ଡ୍ୟୁଟିରେ ମୃତ୍ୟୁବରଣ କରୁଥିବା କୋଭିଡ ଯୋଦ୍ଧାଙ୍କ ନିକଟତମ ଆତ୍ମୀୟ ମାନଙ୍କୁ ୫୦ ଲକ୍ଷ ଟଙ୍କା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହି ସହାୟତା କୋଭିଡ ଯୁଦ୍ଧରେ ନିୟୋଜିତ କର୍ମଚାରୀ ଓ ଜନପ୍ରତିନିଧିଙ୍କ (ସରପଞ୍ଚ ଓ ଅନ୍ୟ ପ୍ରତିନିଧି) ନିକଟତମ ଆତ୍ମୀୟମାନେ ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ସେହିପରି କୋଭିଡ-୧୯ ଡ୍ୟୁଟି ସମୟରେ ମୃତ୍ୟୁବରଣ କରୁଥିବା ଅଙ୍ଗନବାଡି ଓ ଆଶାକର୍ମୀଙ୍କ ନିକଟତମ ଆତ୍ମୀୟମାନେ ଯଥାକ୍ରମେ ମାସିକ ୭୫୦୦ ଟଙ୍କା ଏବଂ ୫୦୦୦ ଟଙ୍କା ଲେଖାଏ ସହାୟତା ପାଇବେ । ମୃତ ଅଙ୍ଗନବାଡି ଓ ଆଶାକର୍ମୀ ମାନେ ବଞ୍ଚିଥିଲେ ସେମାନଙ୍କୁ ଯେବେ ୬୦ ବର୍ଷ ହୋଇଥାନ୍ତା, ସେପର୍ଯ୍ୟନ୍ତ ଏହି ସହାୟତା ସେମାନଙ୍କ ପରିବାରବର୍ଗଙ୍କୁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏଭଳି ଦୁଃଖଦ ଘଟଣା କ୍ଷେତ୍ରରେ ଯୋଦ୍ଧାମାନଙ୍କ ପରିବାର ଯେପରି ଅବିଳମ୍ବେ ସହାୟତା ରାଶି ପାଇପାରିବେ, ସେଥିପାଇଁ ତ୍ୱରିତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ରାଜ୍ୟରେ ଅଣ-କୋଭିଡ ରୋଗୀମାନେ ବିଭିନ୍ନ ଡାକ୍ତରଖାନାରେ ଉପଯୁକ୍ତ ଚିକିତ୍ସା ପାଉ ନଥିବାର କେତେକ ଅଭିଯୋଗ ଆସୁଥିବାରୁ, ସେମାନଙ୍କ ଚିକିତ୍ସାରେ ଯେପରି ସାମାନ୍ୟତମ ଅବହେଳା ନ ହୁଏ, ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ରାଜ୍ୟରେ ଆମ୍ବୁଲାନ୍‌ସ ନେଟୱାର୍କକୁ ସୁଦୃଢ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରୋଗୀଙ୍କ ଜୀବନ ବଞ୍ଚାଇବା ଆମର ପ୍ରାଥମିକତା । ଆମର ସବୁ ପଦକ୍ଷେପକୁ ଏହା ଉପରେ କେନ୍ଦ୍ରୀତ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ।
କୋଭିଡ ପରିଚାଳନାରେ ପ୍ରଶାସନର ଆଗୁଆ ପ୍ରସ୍ତୁତି ଏବଂ ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମି ନିର୍ମାଣ ଏହି ମହାମାରୀକୁ ନିୟନ୍ତ୍ରଣ କରିବାରେ ଫଳପ୍ରଦ ଭୂମିକା ଗ୍ରହଣ କରିଛି । ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ନଥିବା ସ୍ୱଳ୍ପ ଓ ମଧ୍ୟମ ଲକ୍ଷଣଯୁକ୍ତ କୋଭିଡ ରୋଗୀ ମାନଙ୍କୁ ସେମାନଙ୍କ ଘରେ ରହି ଚିକିତ୍ସିତ ହେବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ଏହା ଉଭୟ ସହର ଓ ଗ୍ରାମାଞ୍ଚଳରେ ଲାଗୁ ହୋଇଛି । ଘରୋଇ ପରିବେଶରେ ରୋଗୀମାନେ ଶୀଘ୍ର ଆରୋଗ୍ୟ ଲାଭ କରିବା ସହିତ ଡାକ୍ତରଖାନା ଉପରେ ଚାପ ହ୍ରାସରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାସହିତ ଘରେ ରହି ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ଆବଶ୍ୟକ ଚିକିତ୍ସା ସହାୟତା ଯୋଗାଇ ଦେବା ଏବଂ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ତଦାରଖ ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । କୋଭିଡରେ ମୃତ୍ୟୁବରଣ କରୁଥିବା ରୋଗୀ ମାନଙ୍କ ଶବସତ୍କାର ଏକ ସମ୍ବେଦନଶୀଳ ପ୍ରଶ୍ନ ହୋଇଥିବାରୁ, ଉଭୟ ଆବେଗିକ ଓ ଧାର୍ମିକ ବିଶ୍ୱାସକୁ ନେଇ ସମ୍ମାନଜନକ ଭାବରେ ଶବସଂସ୍କାର ପାଇଁ ସରକାରଙ୍କ ନୂତନ ନିର୍ଦ୍ଦେଶାବଳୀ ଉପରେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଲୋକପାତ କରିଥିଲେ ।

hiranchal ad1
Leave A Reply

Your email address will not be published.

fifteen − 11 =