ଭୁବନେଶ୍ୱର: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଗୋପାଳପୁର ଠାରୁ ୨୫୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି । ସେହିପରି ପୁରୀରୁ ପ୍ରାୟ ୨୭୦ କିଲୋମିଟର ଦକ୍ଷିଣ-ପୂର୍ବରେ ରହିଛି ଅବପାତ ।
କଳିଙ୍ଗପାଟନମରୁ ୩୩୦ କିମି, ବିଶାଖାପାଟଣାରୁ ୪୧୦ କିମି ଦୂରରେ ରହିଥିବା ବେଳେ ୨୩ ରାତି ଓ ୨୪ ଭୋର ମଧ୍ୟରେ ଉତ୍ତର ଆନ୍ଧ୍ର-ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଅତିକ୍ରମ ସମ୍ଭାବନା ରହିଛି । ଗଭୀର ଅବପାତର ରୂପ ନେଇ ବିଶାଖାପାଟଣା-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବା ନେଇ ପାଣିପାଗ ବିଭାଗ ପୂର୍ବରୁ ପୂର୍ବାନୁମାନ କରାଯାଇଛି ।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁର ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହିତ ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରିକୁ ଘଡ଼ଘଡ଼ି ସହିତ ଝଡ଼ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ବୁଧବାରଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ବିଶେଷକରି କୋରାପୁଟ, ଗଞ୍ଜାମ ଓ ଗଜପତି ଜିଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୫୦ ରୁ ୬୦ କି.ମି. ରହିବ ବୋଲି ପୂର୍ବାନୁମାନ କରାଯାଇଛି।