ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ। ଏହା ପ୍ରଭାବରେ ଆସନ୍ତା ୧୩ ତାରିଖରୁ ୪ଦିନ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ବିଶେଷକରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଆସନ୍ତା ୧୨ତାରିଖ ପରେ ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏଥିଯୋଗୁଁ ରାଜ୍ୟର ଉତ୍ତର ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ଏହାସହ ବାଲେଶ୍ବରଠାରୁ ପୁରୀ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ମଧ୍ୟମଧରଣର ବର୍ଷାର ଆଶଙ୍କା ରହିଛି। ଅପରପକ୍ଷେ, ଶୁକ୍ରବାର ଅପରାହ୍ଣରେ ଭୁବନେଶ୍ବର, କଟକ ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଭୁବନେଶ୍ବରରେ ବର୍ଷା ପ୍ରାୟ ୩ ଘଣ୍ଟା ପର୍ଯ୍ୟନ୍ତ ଲାଗି ରହିଥିଲା। ବର୍ଷାରେ ରାଜଧାନୀର ବିଭିନ୍ନ ତଳିଆ ଅଞ୍ଚଳରେ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ।