ଭୁବନେଶ୍ୱର,୫/୯- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ଉପକଣ୍ଠର ଅନ୍ଧାରୁଆ ଠାରେ ଓଡିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ବିଦ୍ୟାଳୟ ନିର୍ମାଣ ପାଇଁ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ଏହା ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ସ୍କୁଲ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତରୀକରଣ କାର୍ଯ୍ୟକ୍ରମରେ ଏହା ଏକ ନୂତନ ମାଇଲ ଖୁଣ୍ଟ ହେବ । । ଏହି ସ୍କୁଲରେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀରେ ୫୦୦ ଲେଖାଏଁ, ସମୁଦାୟ ୧୦୦୦ ଜଣ ଛାତ୍ରଛାତ୍ରୀ ଶିକ୍ଷାଲାଭ କରିପାରିବେ । ୫-ଟି କାର୍ଯ୍ୟକ୍ରମ ଅଧୀନରେ ହିଞ୍ଜିଳିରୁ ଆରମ୍ଭ ହୋଇଥିବା ବିଦ୍ୟାଳୟ ରୂପାନ୍ତରଣ ଉପକ୍ରମ ସଂପର୍କରେ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ସାରା ରାଜ୍ୟରେ ପର୍ଯ୍ୟାୟକ୍ରମେ କରାଯିବ । ଏହି ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଗଣିତ ଓ ଭାଷା ପ୍ରୟୋଗଶାଳା, ଉଚ୍ଚ ପ୍ରଯୁକ୍ତି ବିଦ୍ୟା ସଂପନ୍ନ କମ୍ପ୍ୟୁଟର ପ୍ରୟୋଗଶାଳା ପ୍ରତିଷ୍ଠା ହେବା ସହିତ ସମଗ୍ର ବିଶ୍ୱର ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ (କ୍ୱାଲିଫାଏଡ ରିସୋର୍ସ ପର୍ସନ) ବ୍ୟକ୍ତି ମାନଙ୍କ ସହିତ ଜ୍ଞାନ ଆଦାନପ୍ରଦାନ କରାଯିବ । ଗୁଣାତ୍ମକ ଶିକ୍ଷା ସହିତ ଜଣେ ଟିମ୍ ଲିଡରଙ୍କ ଅଧୀନରେ ମେଧାବୀ ଶିକ୍ଷକମାନେ ଛାତ୍ରଛାତ୍ରୀ ମାନଙ୍କୁ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରର ପ୍ରତିଯୋଗିତାରେ ସଫଳତା ପାଇଁ ସହାୟତା କରିବେ । ଏହି ସ୍କୁଲର ଛାତ୍ରଛାତ୍ରୀମାନେ ସେମାନଙ୍କର ସମସ୍ତ ଅନ୍ତର୍ନିହିତ ଗୁଣର ବିକାଶ କରି ବିଭିନ୍ନ କ୍ଷେତ୍ରରେ ସଫଳତାର ଶୀର୍ଷରେ ପହଞ୍ଚିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ ଆଦର୍ଶ ବିଦ୍ୟାଳୟ ସଗଠନର ଅଧ୍ୟକ୍ଷ ଶ୍ରୀ ଉପେନ୍ଦ୍ର ତ୍ରିପାଠୀ ପ୍ରମୁଖ ଯୋଗ ଦେଇଥିଲେ ।