କଳାମଣ୍ଡଳ ସମ୍ମିଳନୀ କେନ୍ଦ୍ର ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ

0 83

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କଳାମଣ୍ଡଳ ସମ୍ମିଳନୀ କେନ୍ଦ୍ର ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କଲେ ୫ଟି ଅଧ୍ୟକ୍ଷ । ଏହି ଅକ୍ଷର ଭୂମି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ । ସୂଚନା ଥାଉକି, ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭୁବନେଶ୍ୱରର କଳାମଣ୍ଡଳ ପରିସରରେ ନିର୍ମିତ ହେଉଛି ଅକ୍ଷରଭୂମି ।
ଦୁଇ ହଜାର ସ୍ଥାନ ବିଶିଷ୍ଟ କଳାମଣ୍ଡଳ ସମ୍ମିଳନୀ କେନ୍ଦ୍ର ହେବ ରାଜ୍ୟର ସବୁଠାରୁ ବଡ ସମ୍ମିଳନୀ କେନ୍ଦ୍ର । ଆଗାମୀ ଚାରି ମାସ ମଧ୍ୟରେ ଏହାର ନିର୍ମାଣ କାମ ଶେଷ କରିବାକୁ ୫ଟି ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଥିଲେ । କଳାମଣ୍ଡଳର ଆଭ୍ୟନ୍ତରୀଣ ସାଜସଜା ଓଡ଼ିଆ ସଂସ୍କୃତି ଓ ଐତିହ୍ୟର ପୃଷ୍ଠଭୂମି ଢାଞ୍ଚାରେ କରିବାକୁ ପରାମର୍ଶ ଦେଇଥିଲେ ।
ସୂଚନାଯୋଗ୍ୟ ଯେ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ଏହି ସମ୍ମିଳନୀ କେନ୍ଦ୍ରର ନିର୍ମାଣ ଦାୟିତ୍ୱ ଆଇଡିସିଓ ନେଇଛି । ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀକୁ ଚିର ସ୍ମରଣୀୟ କରିବା ପାଇଁ କଳାମଣ୍ଡଳ ପରିସରରେ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କରାଯାଉଥିବା ଅକ୍ଷର ଭୂମି କାମ ମଧ୍ୟ ୫ଟି ଅଧ୍ୟକ୍ଷ ବୁଲି ଦେଖିଥିଲେ । ଖାଣ୍ଡେଲାଇଟ ପଥରରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ୟର ଅପୂର୍ବ ନିଦର୍ଶନ ହେବ । ଏହା ଆମର ମହାନ୍‌ ଐତିହ୍ୟ ଓଶାସ୍ତ୍ରୀୟ ଓଡ଼ିଆ ଭାଷାର ଗୌରବ ବିଷୟରେ ଅକ୍ଷର ଭୂମି ଭବିଷ୍ୟତ ପୀଢିକୁ ପ୍ରେରଣା ଦେଇଚାଲିବ ଏବଂ ଓଡିଆ ଭାଷାର ଅସ୍ମିତାର ପରିଚୟ ହେବ ବୋଲି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ଆଶା ବ୍ୟକ୍ତ କରିଥିଲେ ।
ସେଠାରେ ମଧ୍ୟ ଏକ ଓଡ଼ିଆ ଭାଷା ସମ୍ମିଳନୀ ସ୍ମୃତି ତୋରଣ ନିର୍ମାଣ କରାଯାଉଛି ।
ଏହି ଅକ୍ଷର ଭୂମି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଶ୍ରୀ କାର୍ତ୍ତିକ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହାର ନିର୍ମାଣ କାର୍ଯ୍ୟ ଉଭୟ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଓ ପୂର୍ତ୍ତ ବିଭାଗ ସହଯୋଗରେ କରାଯାଉଛି ।
ଭବିଷ୍ୟତ ସମ୍ପ୍ରସାରଣକୁ ଦୃଷ୍ଟିରେ ରଖି ଅଧିକ ଖୋଲା ସ୍ଥାନ ରଖିବା ଏବଂ ଜନସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ବେସମେଣ୍ଟରେ ପାର୍କିଂ ବ୍ୟବସ୍ଥାର ବିକାଶ ପାଇଁ ସ୍ଥିର କରାଯାଇଥିଲା ।
କ୍ୟାମ୍ପସରେ ଅଧିକ ଗଛ ଲଗାଇ ଏହାକୁ ସବୁଜ ସୁନ୍ଦର କରିବା ତଥା ବିଭିନ୍ନ ପରିବେଶ ଅନୁକୂଳ ଜିନିଷ ବ୍ୟବହାର କରିବା ପାଇଁ ଶ୍ରୀ କାର୍ତ୍ତିକ ପରାମର୍ଶ ଦେଇଥିଲେ ।
୫-ଟି ଅଧ୍ୟକ୍ଷଙ୍କ ଏହି ଗସ୍ତ ସମୟରେ ବିଡିଏ ଉପାଧ୍ୟାକ୍ଷ ବଲୱନ୍ତ ସିଂ, ଏମଡି ଆଇଡିସିଓ ଭୂପିନ୍ଦର ସିଂ ପୁନିଆ, ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ମଧୁସୂଦନ ଦାଶ ନିର୍ଦ୍ଦେଶକ ଦିଲୀପ ରାଉତରାୟ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

4 + three =