ଭୁବନେଶ୍ୱର: ବୁଧବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୩ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୭ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ବେଳେ କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।ଭୁବନେଶ୍ବର, କଟକ, ନବରଙ୍ଗପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ବୌଦ୍ଧ, ସୁବର୍ଣ୍ଣପୁର ଏବଂ କେନ୍ଦୁଝର ଆଦି ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଏବଂ କୋରାପୁଟ ଜିଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ବାଲେଶ୍ବର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଏବଂ ଗଜପତି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରପକ୍ଷେ, ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଜୁଲାଇ ୨ରୁ ୫ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ମତ୍ସ୍ୟଜୀବୀ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
