୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ: ପିଲାମାନଙ୍କ ଭିତରେ ଆତ୍ମବିଶ୍ୱାସ ଭରିବା ରୂପାନ୍ତରର ଲକ୍ଷ୍ୟ – ମୁଖ୍ୟମନ୍ତ୍ରୀ

0 93

ଭୁବନେଶ୍ୱର:୫-ଟି ସ୍କୁଲ ଟ୍ରାନ୍ସଫରମେସନ୍‌ (ସ୍କୁଲ ରୂପାନ୍ତର)କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି । ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ, ନବରଙ୍ଗପୁର, କନ୍ଧମାଳ ଓ ବାଲେଶ୍ୱର ଆଦି ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି । ଏଥିରେ ସୁନ୍ଦରଗଡର ୬୭ଟି, କଟକର ୩୦ଟି, ବାଲେଶ୍ୱରର ୨୩ଟି, ନବରଙ୍ଗପୁରର ୨୨ଟି ଓ କନ୍ଧମାଳର ୧୦ଟି ସ୍କୁଲ ରହିଛି । ପୂର୍ବରୁ ଗତ ଅଗଷ୍ଟ ରେ ହିଞିଳିର ୫୦ଟି ରୂପାନ୍ତରିତ ସ୍କୁଲର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ । ଜାତିର ଭବିଷ୍ୟତ । ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୟ । ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ୱ । ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ । ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣନ୍ତୁ । ବଡ ବଡ ସ୍ୱପ୍ନ ଦେଖନ୍ତୁ ଓ ଜୀବନର ସବୁ ଆହ୍ୱାନକୁ ସାମନା କରିବା ପାଇଁ ଆତ୍ମବିଶ୍ୱାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।

hiring


ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ୱାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ ।
ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ । ସୁନ୍ଦରଗଡର ଛ୍ରାତ୍ରୀ ସିରିନ୍‌ କୌସର, ନବରଙ୍ଗପୁରର ନାଗେଶ୍ୱରୀ ପାଣିଗ୍ରାହୀ, ବାଲେଶ୍ୱରର ଅଭିଲିପ୍‌ସା ଲେଙ୍କା, କନ୍ଧମାଳର ଇତିଶ୍ରୀ କହଁର ଓ କଟକର ଗାୟତ୍ରୀ ସାହୁ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କଲର ପରିବେଶ ଓ ଶିକ୍ଷା ସୁବିଧାର ପରିବର୍ତନରେ ସେମାନେ ଖୁସି । ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି ବୋଲି ସେମାନେ କହିଥିଲେ ।
କାର୍ଯ୍ୟକ୍ରମରେ ସୁନ୍ଦରଗଡରେ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ସାରଦା ପ୍ରସାଦ ନାୟକ, ନବରଂଗପୁରରେ ସାଂସଦ ରମେଶ ଚନ୍ଦ୍ର ମାଝୀ, ବାଲେଶ୍ୱରରେ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, କନ୍ଧମାଳରେ ସାଂସଦ ଅଚ୍ୟୁତାନନ୍ଦ ସାମନ୍ତ ଏବଂ କଟକରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଜିଲ୍ଲାର ବିଧାୟକ ମାନେ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ । କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା ।ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ ।
ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସ୍ୱାଗତ ଭାଷଣ ଦେଇ ଥିଲେ ।
୫-ଟି କାର୍ଯ୍ୟକ୍ରମରେ ରୂପାନ୍ତର ହୋଇଥିବା ୧୦୨୫ ହାଇସ୍କୁଲର ଲୋକାର୍ପଣ ଉତ୍ସବ ଆଜିଠାରୁ ଆରମ୍ଭ ହୋଇଛି । ୨୪ ନଭେମ୍ବର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ ।

hiranchal ad1
Leave A Reply

Your email address will not be published.

4 × three =