ମୁଖ୍ୟମନ୍ତ୍ରୀ କଲେ କୋଭିଡ ସମୀକ୍ଷା, ଟିକା ଦାନ ୩ଲକ୍ଷ

0 84

ଭୁବନେଶ୍ୱର,୮/୬- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ରାଜ୍ୟରେ କୋଭିଡ ସଂକ୍ରମଣରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ରେଟ୍‌ ହ୍ରାସ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ୱସ୍ତି ପ୍ରକାଶ କରିଥିଲେ ଏବଂ ଆଗାମୀ କିଛି ସପ୍ତାହ ମଧ୍ୟରେ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ଆଶାପ୍ରକାଶ କରିଛନ୍ତି । ତଥାପି କେତେକ ଜିଲ୍ଲାରେ ପଜିଟିଭିଟ୍‌ ରେଟ୍‌ ଅଧିକ ଥିବାରୁ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେଇ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ବର୍ତ୍ତମାନଚାଲିଥିବା ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ସଂପର୍କରେ ସଚେନତା ସହିତ ତାର ଉପଯୁକ୍ତ ତଦାରଖ ଏବଂ ଲକ୍ଷଣଯୁକ୍ତ ରୋଗୀଙ୍କର ତୁରନ୍ତ ଚିକିତ୍ସା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ ।
କୋଭିଡ ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସଂପର୍କରେ ବିଶେଷଜ୍ଞମାନେ ମତ ଦେଉଥିବାରୁ, ଏବେଠାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପିଲାମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ଚିକିତ୍ସା ସୁବିଧାର ବିକାଶ, ଆବଶ୍ୟକ ଉପକରଣ ଏବଂ ଔଷଣ ମହଜୁଦ ରଖିବା ସଂଗେ ସଂଗେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଶିଶୁ ରୋଗ ସଂପର୍କରେ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ତୃତୀୟ ଲହର ପାଇଁ ଗଠିତ ଟେକ୍ନିକାଲ ଟାସ୍କ ଫୋର୍ସ କମିଟିର ସୁପାରିଶ ଅନୁଯାୟୀ ଆଗୁଆ ପ୍ରସ୍ତୁତି କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବର୍ତ୍ତମାନ ରାଜ୍ୟରେ ଦୈନିକ ଟିକାକରଣ ଦେଢ ଲକ୍ଷ ଥିବାବେଳେ, ଏହାକୁ ୩ ଲକ୍ଷକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସେହିପରି ବ୍ଲାକ ଫଙ୍ଗସ ସଂକ୍ରମଣ ମଧ୍ୟ ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିବା ସହିତ ସେଥିପାଇଁ ଆବଶ୍ୟକ ଔଷଧ ମହଜୁଦ ରଖିବା ଏବଂ ଆବଶ୍ୟକ ସ୍ଥଳେ ଜରୁରୀ ପଦକ୍ଷେପ ନେବାପାଇଁ ପରାମର୍ଶ ଦେଇଥିଲେ । ରାଜ୍ୟରେ ଅକ୍‌ସିଜେନ ଯୋଗାଣ ସନ୍ତୋଷଜନକ ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ସିଲିଣ୍ଡର ଉପଲବ୍‌ଧତାରେ ଉନ୍ନତି ଘଟିଛି ବୋଲି କହିଥିଲେ । ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟା ପ୍ରଭାବିତ ଅଞ୍ଚଳରେ କୋଭିଡ ସଂକ୍ରମଣରେ କୌଣସି ବୃଦ୍ଧି ଘଟିନ ଥିବା ଆଶ୍ୱସ୍ତିର ବିଷୟ । ରାଜ୍ୟରେ ପିଜିଟିଭିଟି ହାର କମି ଥିବାରୁ ଆଇସିୟୁ ଓ ଅକ୍‌ସିଜେନ ସଂଯୁକ୍ତ ବେଡ୍‌ ଉପରେ ଚାପ ହ୍ରାସ ପାଇଛି । ଖୁବଶୀଘ୍ର ସଂକ୍ରମଣ ୫ ପ୍ରତିଶତକୁ ହ୍ରାସ ପାଇବ ବୋଲି ସେ ଆଶାପ୍ରକାଶ କରିଥିଲେ । କୋଭିଡର ସ୍ଥିତି ସଂପର୍କରେ ବିସ୍ତୃତ ସୂଚନା ଦେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ଶ୍ରୀ ପି.କେ ମହାପାତ୍ର କହିଥିଲେ ରାଜ୍ୟରେ ବର୍ତ୍ତମାନ ୮୬ ପ୍ରତିଶତ କୋଭିଡ ରୋଗୀ ଘରେ ରହି ଚିକିତ୍ସିତ ହେଉଥିବା ବେଳେ ଡାକ୍ତରଖାନାରେ ୬୮ ପ୍ରତିଶତ ବେଡ ଖାଲି ରହିଛି । ରାଜ୍ୟରେ ଅକ୍‌ସିଜେନ ଯୋଗାଣ ଠାରୁ ଆରମ୍ଭ କରି ସମସ୍ତ ଆବଶ୍ୟକ ଔଷଧ ପର୍ଯ୍ୟାପ୍ତ ରହିଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରୁ ଆରମ୍ଭ କରି ମେଡିକାଲ କଲେଜ ପର୍ଯ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ୱାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ ରୋଗୀଙ୍କ ତାଲିମ ଆରମ୍ଭ କରାଯିବ । ଏଥିସହିତ ତୃତୀୟ ଲହରର ମୁକାବିଲା ପାଇଁ ୩୦୦୦ ବେଡ୍‌, ୨୩୯୦ ଆଇସୋଲେସନ ବେଡ, ୬୧୦ ଆଇସିୟୁ ପ୍ରସ୍ତୁତ ରଖାଯାଇଛି ବୋଲି ଶ୍ରୀ ମହାପାତ୍ର ପ୍ରକାଶ କରିଥିଲେ । ଏହାସହିତ ଜୁନ୍‌ ମଧ୍ୟ ଭାଗରୁ ଗଞ୍ଜାମ, କୋରାପୁଟ ଓ ରାୟଗଡା ଜିଲ୍ଲାରେ ଚତୁର୍ଥ ସେରୋ ସର୍ଭେ ଆରମ୍ଭ କରାଯିବ ଏବଂ ଏଥିରେ ପିଲାମାନଙ୍କ ବିଷୟରେ ବିଶେଷ ତଥ୍ୟ ସଂଗ୍ରହ କରାଯିବ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଥିଲେ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୩ ଲକ୍ଷ ୬୨ ହଜାର ୧୦୫ ଡୋଜ୍‌ ଟିକା ଦିଆଯାଇଛି ଏବଂ ଟିକାକରଣ କ୍ଷେତ୍ରରେ ଭୁବନେଶ୍ୱର ସବୁଠାରୁ ଆଗରେ ରହିଛି ବୋଲି ଜଣାଯାଇଛି । ଜୁଲାଇ ୧୫ ସୁଦ୍ଧା ଭୁବନେଶ୍ୱରରେ ୪୫ ବର୍ଷରୁ ଉର୍ଦ୍ଧ୍ୱ ସବୁ ଲୋକଙ୍କର ଦୁଇଟି ଡୋଜ ଟିକାକରଣ ହେବା ସହିତ ୧୮ ରୁ ୪୪ ବର୍ଷ ସମସ୍ତଙ୍କ ପ୍ରଥମ ଡୋଜ ସଂପୂର୍ଣ୍ଣ ହୋଇଯିବ । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଉନ୍ନୟନ କମିଶନର, ପୋଲିସ ଡିଜି, ଅଗ୍ନିଶମ ସେବା ଡିଜି, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଏସ୍‌.ପି ମାନେ ଯୋଗ ଦେଇଥିଲେ ।

hiranchal ad1
Leave A Reply

Your email address will not be published.

seven + 20 =