ସମ୍ଭାବ୍ୟ ବାତ୍ୟା ୟାସର ମୁକାବିଲା ପାଇଁ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ବୈଠକ

0 101

ଭୁବନେଶ୍ୱର,୨୨/୫ : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା ୟାସର ମୁକାବିଲା ପାଇଁ ଏକ ବୈଠକରେ ଜନସାଧାରଣଙ୍କ ଜୀବନର ସୁରକ୍ଷା ଉପରେ ଗୁରୁତ୍ୱ ଦେଇ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସବୁ ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ଏକମାତ୍ର ସିଦ୍ଧାନ୍ତ ହେଉଛି ‘ସବୁ ଜୀବନ ମୂଲ୍ୟବାନ’ । ତେଣୁ ବର୍ତ୍ତମାନ ପରିସ୍ଥିତିରେ ଆମର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହେଉଛି ତଳିଆ ଅଞ୍ଚଳରେ ଏବଂ ବିପଦସଂକୁଳ ବାସସ୍ଥାନରେ ରହୁଥିବା ଲୋକଙ୍କ ସ୍ଥାନାନ୍ତର । ଜିଲ୍ଲାପାଳ ଓ ଏସ୍‌.ପି ମାନେ ଏହି କାର୍ଯ୍ୟକୁ ବ୍ୟକ୍ତିଗତ ଭାବେ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏହାସହିତ ମୁଖ୍ୟ ଶାସନ ସଚିବ ଏହି ବାତ୍ୟା ପ୍ରସ୍ତୁତି କାର୍ଯ୍ୟକ୍ରମକୁ ନିୟମିତ ମନିଟରିଂ କରି ଜିଲ୍ଲା ପ୍ରଶାସନକୁ ଆବଶ୍ୟକ ପରାମର୍ଶ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଉ ଦୁଇ ଦିନ ମଧ୍ୟରେ ବଙ୍ଗୋପ ସାଗରରେ ବାତ୍ୟା ୟାସର ସୃଷ୍ଟି ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ସୁଦ୍ଧା ଏହାର ଗତିପଥ ଠିକ୍‌ ଭାବରେ ନିର୍ଣ୍ଣୟ ହୋଇନାହିଁ । ତେଣୁ ଆମର ସମସ୍ତ ଉପକୂଳବର୍ତ୍ତୀ ଓ ଏହାର ଆଖପାଖ ଜିଲ୍ଲା ଗୁଡିକ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହି ପ୍ରବଳ ବର୍ଷା ଓ ପବନ ପାଇଁଁ ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।କୋଭିଡ ପରିସ୍ଥିତି ଯୋଗୁ ଏହି ସମୟରେ ଅକ୍‌ସିଜେନ ଯୋଗାଣ ଉପରେ ସ୍ୱତନ୍ତ୍ର ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବାତ୍ୟା ସମୟରେ ରାଜ୍ୟ ମଧ୍ୟରେ ତଥା ରାଜ୍ୟ ବାହାରକୁ ଅକ୍‌ସିଜେନ ଯୋଗାଣରେ ଯେପରି କୌଣସି ସମସ୍ୟା ନ ହୁଏ, ସେଥିପ୍ରତି ସ୍ୱତନ୍ତ୍ର ଭାବରେ ଧ୍ୟାନ ଦେଇ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ମାନେ ସେମାନଙ୍କ ପ୍ରସ୍ତୁତି ବିଷୟରେ ସୂଚନା ଦେଇଥିଲେ । ବାଲେଶ୍ୱରରେ ୧୨୨୩ଟି ଆଶ୍ରୟସ୍ଥଳ ଚିହ୍ନଟ କରାଯାଇଥିବା ବେଳେ ଭଦ୍ରକରେ ୭୦୦ଟି, କେନ୍ଦ୍ରାପଡାରେ ୯୭୦ଟି ଓ ଜଗତସିଂହପୁରରେ ୨୨୩ଟି ଆଶ୍ରୟସ୍ଥଳ ଚିହ୍ନଟ କରି ରଖାଯାଇଛି ବୋଲି ସୂଚନା ଦିଆଯାଇଥିଲା । ଏହାସହିତ ଅକ୍‌ସିଜେନ ବ୍ୟବସ୍ଥା, ଉଦ୍ଧାର କାର୍ଯ୍ୟ, ଖାଦ୍ୟ, ଔଷଧ ଆଦି ସମସ୍ତ ଆବଶ୍ୟକୀୟ ପ୍ରସ୍ତୁତି କରାଯାଇଛି ବୋଲି ଜିଲ୍ଲାପାଳମାନେ ସୂଚନା ଦେଇଥିଲେ । ଗର୍ଭବତୀ ମହିଳା ମାନଙ୍କ ସ୍ଥାନାନ୍ତର ଓ ଚିକିତ୍ସା ପାଇଁ ସ୍ୱତନ୍ତ୍ର ଧ୍ୟାନ ଦିଆଯାଉଛି ବୋଲି ସେମାନେ କହିଥିଲେ । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା, ଡିଜି ଶ୍ରୀ ଅଭୟ, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ ମହାପାତ୍ର, ମହିଳା ଓ ଶିଶୁବିକାଶ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅଗ୍ନିଶମ ସେବା ଡିଜି ଶ୍ରୀ ଏମ୍‌. ଅକ୍ଷୟ, ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

3 × two =