କୋଭିଡ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ଭୟଭୀତ ନହୋଇ ନିୟମ ପାଳନ କରିବାକୁ ପରାମର୍ଶ

0 41

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କରୋନା ସ୍ଥିତିର ସମୀକ୍ଷା କରିଛନ୍ତି । ଭୟଭୀତ ନହୋଇ ନିୟମ ପାଳନ କରିବାକୁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି । ତା ସହିତ ପ୍ରଶାସନକୁ ସତର୍କ ରହିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି । ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମୀକ୍ଷା ଅବସରରେ ସେ କହିଛନ୍ତି ଯେ ତୃତୀୟ ଲହରରେ ଡାକ୍ତରଖାନା ଉପରେ ବିଶେଷ ଚାପ ପଡିନାହିଁ । କିନ୍ତୁ ଏଥିରେ ଆତ୍ମସନ୍ତୋଷର ସ୍ଥାନ ନାହିଁ । ସଂପୂର୍ଣ୍ଣ ପ୍ରସ୍ତୁତ ରହି ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିବା ଆବ୍ୟାକ । ତା ସହିତ ମିଶନ ଶକ୍ତି ଗୋଷ୍ଠୀମାନଙ୍କର ସକ୍ରିୟ ସହଯୋଗରେ ସାରା ରାଜ୍ୟରେ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଜନସାଧାରଣ ଯେପରି କୋଭିଡ ସୁରକ୍ଷା ନିୟମାବଳୀ ଠିକ୍‌ ଭାବରେ ପାଳନ କରନ୍ତି, ସେଥିପ୍ରତି ବିଶେଷ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସକୁ ପରାମର୍ଶ ଦେଇଛନ୍ତି । ସେହିପରି ପୃଥକ ବାସରେ ଘରେ ରହି ଚିକିତ୍ସିତ ହେଉଥିବା ରୋଗୀ ମାନଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସଂପର୍କରେ ରାପିଡ୍‌ ରେସପନ୍ସ ଟିମ୍‌ ଓ କ୍ଷେତ୍ର କର୍ମଚାରୀମାନେ ଠିକ୍‌ ଭାବରେ ତଦାରଖ କରିବା ପାଇଁ ମଧ୍ୟ ପରାମର୍ଶ ଦେଇଥିଲେ । ବର୍ତ୍ତମାନ ପରିସ୍ଥିତିରେ ଆତଙ୍କିତ ନ ହୋଇ କୋଭିଡ ସୁରକ୍ଷା ନିୟମାବଳୀକୁ ସଠିକ୍‌ ଭାବରେ ପାଳନ କରିବା ପାଇଁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କୋଭିଡ ନିୟମାବଳୀର ପରିପାଳନ ନିମନ୍ତେ ପ୍ରଶାସନ ନେଇଥିବା ବିଭିନ୍ନ ପଦକଷେପ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍‌.କେ ଶର୍ମା ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ଏକ ବିସ୍ତୃତ ଚିତ୍ର ଉପସ୍ଥାପନ କରିଥିଲେ । ରାଜ୍ୟରେ ଦୈନିକ ଟେଷ୍ଟିଂ ୬୫ ହଜାରରୁ ୭୦ ହଜାର ରହିଥିବା ବେଳେ, ପଜିଟିଭିଟି ହାର ୧୧.୪ ପ୍ରତିଶତ ରହିଛି । ଯାହାକି ଜାତୀୟ ହାର ଠାରୁ କମ୍‌ । ଟିକାକରଣ ସ୍ଥିତି ମଧ୍ୟ ସନ୍ତୋଷଜନକ ବୋଲି ଆର୍‌.କେ ଶର୍ମା ସୂଚନା ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଓ କଟକ ମ୍ୟୁନିସିପାଲ କମିଶନର ଏବଂ ଖୋର୍ଦ୍ଧା ଓ ରାୟଗଡାର ଜିଲ୍ଲାପାଳ ସେମାନଙ୍କ ଅଞ୍ଚଳର ପରିସ୍ଥିତି ସଂପର୍କରେ ବୈଠକରେ ଉପସ୍ଥାପନା କରିଥିଲେ ।

hiranchal ad1
Leave A Reply

Your email address will not be published.

4 × four =