ସମ୍ବଲପୁର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୁଚିଣ୍ଡାରେ ସମ୍ବଲପୁର ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ସଡକ ଦୁର୍ଘଟଣାରେ ବହୁ ଲୋକଙ୍କର ମୃତ୍ୟୁ ହେଉଥିବା ସଂପର୍କରେ ଚିନ୍ତାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ କ୍ଷେତ୍ରରେ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇ ପାରିଲେ, ଅନେକ ମୂଲ୍ୟବନ ଜୀବନ ବଞ୍ଚାଇ ହେବ । ଆହତ ଲୋକଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଦୁର୍ଘଟଣା କ୍ଷେତ୍ରରେ ପ୍ରଥମ ୪୮ ଘଣ୍ଟା ମଧ୍ୟରେ ଚିକିତ୍ସା ଯୋଗାଇ ଦେବା ଅତି ଜରୁରୀ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ପାଣ୍ଠି ଜରିଆରେ ଦୁର୍ଘଟଣାର ପ୍ରଥମ ୪୮ ଘଣ୍ଟା ମଧ୍ୟରେ ସମସ୍ତ ଚିକିତ୍ସା ଖର୍ଚ୍ଚ ଏହି ପାଣ୍ଠିରୁ ବହନ କରାଯିବ ।