ଭୁବନେଶ୍ୱର : ବାତ୍ୟା ୟାସର କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ଏକ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଞ୍ଚିଥିଲେ । ବିମାନବନ୍ଦରରେ ବାତ୍ୟା କ୍ଷୟକ୍ଷତି ନେଇ ସେ ସମୀକ୍ଷା କରିଛନ୍ତି ।
ଏହି ସମୀକ୍ଷା ବୈଠକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଡିଜିପି ଅଭୟ ଓ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି) ପ୍ରଦୀପ କୁମାର ଜେନାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।
ସମୀକ୍ଷା ବୈଠକ ପରେ ପ୍ରଧାନମନ୍ତ୍ରୀ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆକାଶ ମାର୍ଗରୁ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବେ । ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଅଞ୍ଚଳ ଗୁଡିକୁ ସେ ଆକାଶ ମାର୍ଗରୁ ବୁଲି ଦେଖିବେ ।
ଏହା ପରେ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଅଞ୍ଚଳକୁ ଯାଇ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି ।