ଆଜି ଶ୍ରୀମନ୍ଦିରରେ ବଡଠାକୁରଙ୍କ ହରିହର ବେଶ

0 62

ପୁରୀ : ଆଜି ଶ୍ରୀମନ୍ଦିରରେ ବଡଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି । ଅବକାଶ ନୀତି ପରେ ବଡଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି । ବଡଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ । ଏହି ବେଶରେ ବଡଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି ।
କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡିଲେ ରତ୍ନସିଂହାସନରେ ଅଧିଷ୍ଟିତ ବଡଠାକୁରଙ୍କ ବାଡରେ ହରିହର ବେଶ ହେବାର ବିଧି ରହିଛି । ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ହୋଇଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି । କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ପୁଷ୍ପାଳକ ସେବକମାନେ ବଡଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି । ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିଛନ୍ତି ।

hiranchal ad1
Leave A Reply

Your email address will not be published.

eighteen − 5 =